ଯୋହନ 21
21
ସାତ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ
1ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ , ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ।
4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।
5ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।
6ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ। ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।
7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ।
9ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ।
10ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।
11ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ।
12ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର। ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।
13ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।
14ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
ପିତରଙ୍କୁ ଯୀଶୁଙ୍କ ଆଦେଶ
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
16ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର।
17ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।
19ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ।
ଯୀଶୁ ଓ ତାହାଙ୍କ ପ୍ରିୟ ଶିଷ୍ୟ
20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
21ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୋ, ଏହାର ବିଷୟରେ କଅଣ?
22ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।
23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ।
24ଯେ ଏହିସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହିସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
ଉପସଂହାର
25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
Выбрано:
ଯୋହନ 21: ODIAOV-BSI
Выделить
Поделиться
Копировать
Хотите, чтобы то, что вы выделили, сохранялось на всех ваших устройствах? Зарегистрируйтесь или авторизуйтесь
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.